ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଦୁର୍ବଳ ହୋଇ ପୂର୍ବ ମଧ୍ୟପ୍ରଦେଶ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ର ପୂର୍ବାନୁମାନ ଅନୁଯାୟୀ, ଆଜିଠାରୁ ଓଡ଼ିଶାରେ ବ୍ୟାପକ ବର୍ଷାର ପରିମାଣ ଯଥେଷ୍ଟ ହ୍ରାସ ପାଇବ।
କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ, କିନ୍ତୁ ଆଗାମୀ ଦିନରେ ବଡ଼ ଧରଣର ବର୍ଷାର ସମ୍ଭାବନା ନାହିଁ। ତେବେ ଆସନ୍ତା ଜୁଲାଇ ୧୨ ତାରିଖ ଆଡ଼କୁ ଉତ୍ତର ଓଡ଼ିଶା ଆକାଶରେ ଏକ ନୂତନ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପ୍ରଭାବରେ ରାଜ୍ୟରେ ପୁଣି ଥରେ ବର୍ଷାର ପରିମାଣ ବଢ଼ିପାରେ।ଏସବୁ ସତ୍ତ୍ୱେ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଓଡ଼ିଶାର କେତେକ ପ୍ରତିକୂଳ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି।
ବିଶେଷ କରି ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା ୮ଟି ଜିଲ୍ଲାକୁ ହାଇ ଆଲର୍ଟରେ ରଖାଯାଇଛି ଏବଂ ସେଠାକାର ବାସିନ୍ଦାଙ୍କୁ ସମ୍ପୂର୍ଣ୍ଣ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ନଦୀକୂଳିଆ ଅଞ୍ଚଳ, ଖାଲୁଆ ସ୍ଥାନ ଏବଂ ପାର୍ବତ୍ୟାଞ୍ଚଳରେ ରହୁଥିବା ଲୋକମାନଙ୍କୁ ବିଶେଷ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। ଏହା ସହିତ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି କରାଯାଉଥିବା ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଅଧିକାରୀମାନେ ଅନୁରୋଧ କରିଛନ୍ତି।




