ଭୁବନେଶ୍ୱର: ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ସ୍ପଷ୍ଟ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଥିବା ବେଳେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।
ଲଘୁଚାପ କାରଣରୁ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ଏବଂ ଝଟକା ପବନର ବେଗ ୬୦ କିମି ପର୍ଯ୍ୟନ୍ତ ବୃଦ୍ଧି ପାଇବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଅଗଷ୍ଟ ୩୧) ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ କରାଯାଇଛି।
ବିଭିନ୍ନ ଜିଲ୍ଲା ପାଇଁ ୱାର୍ଣ୍ଣିଂ:
- ରେଡ୍ ୱାର୍ଣ୍ଣିଂ: ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଅତିପ୍ରବଳ (୨୦ ସେମିରୁ ଅଧିକ) ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
- ଅରେଞ୍ଜ ୱାର୍ଣ୍ଣିଂ: ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ, ଦେବଗଡ଼, ଅନୁଗୋଳ, ଯାଜପୁର, କଟକ ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।
- ଅଗଷ୍ଟ ୩୧: ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରକୋପ ଅଧିକ ରହିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ଏହି ସମୟରେ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ କମ୍ ରହିବ।
- ସେପ୍ଟେମ୍ବର ୧: ସେପ୍ଟେମ୍ବର ୧ରୁ ରାଜ୍ୟରେ ବର୍ଷାର ପରିମାଣ କମିବା ଆରମ୍ଭ ହେବ, ତଥାପି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ।
- ସେପ୍ଟେମ୍ବର ୨ରୁ ୪:ସେପ୍ଟେମ୍ବର ୨ରୁ ପ୍ରାୟ ସବୁ ସ୍ଥାନରେ ପାଣିପାଗ ସ୍ୱାଭାବିକ ହେବ। ସେପ୍ଟେମ୍ବର ୩ରେ ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ଏବଂ ସେପ୍ଟେମ୍ବର ୪ରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି।




