ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ସଫଳ ମୁକାବିଲା କରିବା ପାଇଁ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ଏହି ସମ୍ଭାବ୍ୟ ବାତ୍ୟାର ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଡକାଯାଇଛି।
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରସ୍ଥିତ ରାଜୀବ ଭବନଠାରେ ଏହି ବୈଠକ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହେବେ। ପାଣିପାଗ ବିଭାଗରୁ ମିଳୁଥିବା ସଦ୍ୟତମ ତଥ୍ୟ ଆଧାରରେ ଜିଲ୍ଲା ପ୍ରଶାସନଗୁଡ଼ିକ ସହ ପରବର୍ତ୍ତୀ ରଣନୀତି ଏବଂ ଆଗୁଆ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯିବ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ସୂଚନା ଦେଇଛନ୍ତି।
ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଶୁକ୍ରବାର ସକାଳ ୮ଟା ୩୦ ମିନିଟ୍ ସମୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇସାରିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହା ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଅଧିକ ଘନୀଭୂତ ହୋଇ ଏକ ଅବପାତ ଏବଂ ନଭେମ୍ବର ୧୬ ତାରିଖ ସୁଦ୍ଧା ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।
ତେବେ ସମ୍ଭାବ୍ୟ ବାତ୍ୟା କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ, ସେନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ଆଇଏମଡି (IMD) ପକ୍ଷରୁ ବାତ୍ୟାର ସଠିକ୍ ଗତିପଥ ଏବଂ ପ୍ରଭାବ ସ୍ପଷ୍ଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକୀୟ ତଥା ନିର୍ଦ୍ଦିଷ୍ଟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଇତିମଧ୍ୟରେ ଉପକୂଳବର୍ତ୍ତୀ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।




