ଭୁବନେଶ୍ୱର: ପବିତ୍ର ବାହୁଡ଼ାଯାତ୍ରା ଏବଂ ଶ୍ରୀଜୀଉଙ୍କ ପରବର୍ତ୍ତୀ ସମସ୍ତ ନୀତିକାନ୍ତିକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବାହୁଡ଼ାଯାତ୍ରା, ସୁନାବେଶ, ଅଧରପଣା ଏବଂ ନୀଳାଦ୍ରି ବିଜେ ପାଇଁ ସରକାରୀ ସ୍ତରରେ ପ୍ରସ୍ତୁତିର ସମୀକ୍ଷା କରାଯାଇଛି।
ଗୁଣ୍ଡିଚା ଯାତ୍ରା ସମୟରେ ଘଟିଥିବା ଅଘଟଣଗୁଡ଼ିକର ବିସ୍ତୃତ ସମୀକ୍ଷା କରାଯିବା ସହ ଆଗାମୀ ନୀତିକାନ୍ତିଗୁଡ଼ିକରେ ଯେପରି ଏହାର ପୁନରାବୃତ୍ତି ନହୁଏ, ସେଥିପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ କଠୋର ନିର୍ଦ୍ଦେଶ ଦିଆଯାଇଛି। ଭକ୍ତଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ୍ ପରିଚାଳନା, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟସେବା ଏବଂ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ଉଚ୍ଚସ୍ତରୀୟ ବୈଠକରେ ଉପମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ (DGP), ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ସମସ୍ତ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀକ୍ଷେତ୍ରକୁ ଆସୁଥିବା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ସେଥିପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି।
ବାହୁଡ଼ାଯାତ୍ରାରୁ ନେଇ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ପରମ୍ପରାକୁ ଅଧିକ ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଶେଷ କରିବାକୁ ସରକାରୀ ସ୍ତରରେ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରାଯାଇଛି।




