ଭୁବନେଶ୍ୱର: ବାତ୍ୟା ‘ଅକ୍‌ଭାନ୍’ ସ୍ଥଳଭାଗ ଅତିକ୍ରମ କରିବା ପରେ ଧୀରେ ଧୀରେ ଦୁର୍ବଳ ହେଉଥିଲେ ହେଁ ଆସନ୍ତାକାଲି ମଧ୍ୟ ଓଡ଼ିଶା ଉପରେ ଏହାର ପ୍ରଭାବ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଆସନ୍ତାକାଲି ପାଇଁ ରାଜ୍ୟର ୧୪ଟି ଜିଲ୍ଲାକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଥିବା ବେଳେ ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି ହୋଇଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ଓ ବିଜୁଳି ସହ ଝଟକା ପବନ ବହିବାର ସତର୍କତା ଜାରି କରାଯାଇଛି। ବିଶେଷ କରି ଜଗତସିଂହପୁର, କଟକ, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାରେ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ଝଟକା ପବନ ବହିପାରେ ବୋଲି ଆକଳନ କରାଯାଇଛି।

ଅରେଞ୍ଜ ୱାର୍ଣ୍ଣିଂ ସହିତ ରାଜ୍ୟର ବାକି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଟକା ପବନ ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ଆଶଙ୍କା ରହିଛି।

ବାତ୍ୟା ଲ୍ୟାଣ୍ଡଫଲ୍ ପରେ ଦୁର୍ବଳ ହେଉଥିଲେ ମଧ୍ୟ ରାଜ୍ୟ ସରକାର ଲୋକମାନଙ୍କୁ ସତର୍କ ଓ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି। ଆସନ୍ତାକାଲି ମଧ୍ୟ ପ୍ରବଳ ବର୍ଷା ଓ ଝଟକା ପବନ ଜାରି ରହିବାକୁ ଥିବାରୁ ରାଜ୍ୟର ଅନେକ ଅଞ୍ଚଳରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେବାର ଆଶଙ୍କା ରହିଛି। ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଥିବା ବେଳେ ଲୋକମାନଙ୍କୁ ଅନାବଶ୍ୟକ ଭାବେ ବାହାରକୁ ନବାହାରିବାକୁ ଏବଂ ସୁରକ୍ଷିତ ସ୍ଥାନରେ ରହିବାକୁ ଅନୁରୋଧ କରାଯାଇଛି।