ଭୁବନେଶ୍ୱର: ରାଜ୍ୟରେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାସହ ଅକ୍ଟୋବର ୭ ଏବଂ ୮ ତାରିଖରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି।
ଆଗାମୀ କିଛି ଦିନର ପାଣିପାଗ ସ୍ଥିତି
- ଅକ୍ଟୋବର ୫ ଏବଂ ୬: ବାଲେଶ୍ୱର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, କେନ୍ଦୁଝର, ରାୟଗଡ଼ା, ଗଜପତି, ଗଞ୍ଜାମ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଏବଂ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ବିଚ୍ଛିନ୍ନ ଭାବେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
- ଅକ୍ଟୋବର ୭: ଏହି ଦିନଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
- ଅକ୍ଟୋବର ୮: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ଓ ଝଡ଼ପବନ ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବଳବତ୍ତର ରହିବ। ଏହାଛଡ଼ା ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ବିଚ୍ଛିନ୍ନ ବର୍ଷା ହୋଇପାରେ।
- ଅକ୍ଟୋବର ୯ ଏବଂ ୧୦: ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବ ନାହିଁ। ତେବେ ତା’ପରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲସିୟସ ହ୍ରାସ ପାଇବାର ସମ୍ଭାବନା ରହିଛି। ଅନ୍ୟପଟେ ସର୍ବନିମ୍ନ ତାପମାତ୍ରା ଆଗାମୀ ୬ରୁ ୭ ଦିନ ଯାଏଁ ପ୍ରାୟ ଅପରିବର୍ତ୍ତିତ ରହିବ।
ଭୁବନେଶ୍ୱର ଏବଂ ଆଖପାଖ ଅଞ୍ଚଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଂଶିକ ମେଘୁଆ ଆକାଶ ରହିବ। ଏଠାରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଏବଂ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରୀ ସେଲସିୟସ ପାଖାପାଖି ରହିପାରେ। ଅକ୍ଟୋବର ୪ରୁ ୮ ତାରିଖ ମଧ୍ୟରେ ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ।




