ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବାରୁ ଆଗାମୀ କିଛି ଦିନ ରାଜ୍ୟରେ ବ୍ୟାପକ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଲଘୁଚାପ ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଅଧିକ ସକ୍ରିୟ ହେବ। ଏହାର ପ୍ରଭାବରେ ଜୁଲାଇ ୪ରେ ଦକ୍ଷିଣ ଓଡ଼ିଶାର ୪ଟି ଏବଂ ଜୁଲାଇ ୫ରେ ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଜୁଲାଇ ୪ ପାଇଁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଅଞ୍ଚଳରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ। ସେହିପରି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ପରବର୍ତ୍ତୀ ୨୪ ଘଣ୍ଟାରେ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସୁବର୍ଣ୍ଣପୁର ଓ ସମ୍ବଲପୁର ଜିଲ୍ଲାରେ ଅତିପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ରେଡ୍ ଆଲର୍ଟରେ ରଖାଯାଇଛି। କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ଢେଙ୍କାନାଳ ଓ କେନ୍ଦୁଝରରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ଜୁଲାଇ ୫ରୁ ୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ ଜଳବନ୍ଦୀ, ଯାତାୟାତ ବାଧା, ଦୃଶ୍ୟମାନ କ୍ଷମତା ହ୍ରାସ, ମାଟି ଘର କ୍ଷତିଗ୍ରସ୍ତ ହେବା, ଚାଷଜମି ପ୍ରଭାବିତ ହେବା ସହ ନଦୀର ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଏସ୍ଆର୍ସି ସମସ୍ତ ଜିଲ୍ଲା ପ୍ରଶାସନକୁ ସତର୍କ ରହିବା ସହ ଆବଶ୍ୟକ ମୁକାବିଲା ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ପାରାଦୀପ ଓ ଧାମରା ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ପୁରୀ, ବଲାଙ୍ଗୀର, ରାୟଗଡ଼ା, ଅନୁଗୁଳ, ଭଦ୍ରକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ସେଥିମଧ୍ୟରୁ ବରଗଡ଼ ଜିଲ୍ଲାର ଆମ୍ବଭୋନାରେ ସର୍ବାଧିକ ୩୨ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।




