ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଅନୁଯାୟୀ, ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଆସନ୍ତା ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ।
୬ ଜିଲ୍ଲାକୁ ରେଡ୍ ଆଲର୍ଟ
ଆସନ୍ତା ୨୪ ଘଣ୍ଟା ପାଇଁ କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଏବଂ କେନ୍ଦୁଝର ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ରେଡ୍ ଆଲର୍ଟ ଜାରି କରିଛି।
୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ୟେଲୋ ଆଲର୍ଟରେ ଏହି ଜିଲ୍ଲା
ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ଦେବଗଡ଼, କନ୍ଧମାଳ, କଳାହାଣ୍ଡି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୟେଲୋ ଆଲର୍ଟ ଜାରି କରାଯାଇଛି।
ଆସନ୍ତାକାଲି କେନ୍ଦୁଝରରେ ସର୍ବାଧିକ ବିପଦ
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତାକାଲି କେନ୍ଦୁଝର ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପୁଣିଥରେ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବରଗଡ଼ ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଅନ୍ୟପଟେ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିପାରେ
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିପାରେ। ଏହି ସମୟରେ ପରିସ୍ଥିତି ଅନୁଯାୟୀ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ଚେତାବନୀ ଜାରି ରହିବ।
ନଦୀରେ ଜଳସ୍ତର ବଢ଼ିବ, ବନ୍ୟା ଆଶଙ୍କା
ଲଗାଣ ବର୍ଷା ଯୋଗୁଁ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ନଦୀର ଉପରମୁଣ୍ଡରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହା ଫଳରେ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରିଛି।
ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପରାମର୍ଶ
ଉତ୍ତର ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି। ସେଥିପାଇଁ ଜୁଲାଇ ୨୭ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି।
କେଉଁଠି କେତେ ବର୍ଷା?
ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ର ପାନପୋଷ ଅଞ୍ଚଳରେ ସର୍ବାଧିକ ୯୮.୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ୪୦.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।




