ଭୁବନେଶ୍ୱର: ଓଡ଼ିଶାରେ ପୁଣି ବଦଳିବ ପାଣିପାଗ। ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ସହ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଗାମୀ କିଛି ଦିନ ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ପବନ ବହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

  • ରବିବାର: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ୩୦-୪୦ କିମି ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
  • ସୋମବାର (ସେପ୍ଟେମ୍ବର ୧୪): କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଅନ୍ୟାନ୍ୟ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବଜ୍ରପାତ ନେଇ ସାବଧାନ କରାଯାଇଛି।
  • ସେପ୍ଟେମ୍ବର ୧୫ ଓ ୧୬: କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ରହିବ।
  • ସେପ୍ଟେମ୍ବର ୧୭: କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଖରାପ ପାଣିପାଗ ଏବଂ ବଜ୍ରପାତ ସମୟରେ ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।